Skip to content
The Believer's Library

Indian Revised Version(IRV) Odia - 2021

1 Timothy 2 IRVOry

Side by side with the Father's Heart Bible™

ମଣ୍ଡଳୀର ଉପାସନା ବିଧି

1ଆମ୍ଭେମାନେ ଯେପରି ସର୍ବତୋଭାବେ ଈଶ୍ବରପରାୟଣତା ଓ ଭଦ୍ରତା ସହ ଶାନ୍ତି ଓ ବାଧାହୀନ ଜୀବନଯାପନ କରିପାରୁ, 2ଏଥିନିମନ୍ତେ ସର୍ବସାଧାରଣ ଲୋକଙ୍କ ପାଇଁ, ରାଜା ଓ ଶାସନକର୍ତ୍ତା ସମସ୍ତଙ୍କ ପାଇଁ ନିବେଦନ, ପ୍ରାର୍ଥନା, ବିନତି ଓ ଧନ୍ୟବାଦ ଉତ୍ସର୍ଗ କରିବା ନିମନ୍ତେ ମୁଁ ସର୍ବ ପ୍ରଥମେ ଅନୁରୋଧ କରୁଅଛି। 3ଏହା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଦୃଷ୍ଟିରେ ଉତ୍ତମ ଓ ସୁଗ୍ରାହ୍ୟ ଅଟେ; 4ସମସ୍ତେ ଯେପରି ପରିତ୍ରାଣ ଓ ସତ୍ୟ ବିଷୟରେ ଜ୍ଞାନ ପାଇ ପାରନ୍ତି, ଏହା ସେ ଇଚ୍ଛା କରନ୍ତି। 5କାରଣ ଏକମାତ୍ର ଈଶ୍ବର ଅଛନ୍ତି, ଆଉ ଈଶ୍ବର ଓ ମନୁଷ୍ୟମାନଙ୍କ ମଧ୍ୟରେ ଏକମାତ୍ର ମଧ୍ୟସ୍ଥ ଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁ, ଜଣେ ମନୁଷ୍ୟ; 6ସେ ସମସ୍ତଙ୍କ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣାକୁ ଦାନ କରି ଠିକ୍ ସମୟରେ ସେଥିର ସାକ୍ଷ୍ୟ ଦେଇଅଛନ୍ତି। 7ସେଥିପାଇଁ ମୁଁ ଜଣେ ପ୍ରଚାରକ, ପ୍ରେରିତ ପୁଣି, ବିଶ୍ୱାସ ଓ ସତ୍ୟ ବିଷୟରେ ଅଣଯିହୁଦୀମାନଙ୍କର ଜଣେ ଶିକ୍ଷକ ଭାବେ ନିଯୁକ୍ତ ହେଲି, ମୁଁ ସତ କହୁଅଛି, ମିଛ କହୁ ନାହିଁ। 8ଏଣୁ ମୋହର ଇଚ୍ଛା, ପୁରୁଷମାନେ ଶୁଚି ହସ୍ତ ଉତ୍ତୋଳନ କରି କ୍ରୋଧ ଓ ବିତର୍କ ବିନା ସର୍ବତ୍ର ପ୍ରାର୍ଥନା କରନ୍ତୁ। 9ସେହିପରି ମଧ୍ୟ ସ୍ତ୍ରୀମାନେ କେଶବିନ୍ୟାସ ଏବଂ ସୁନା କି ମୁକ୍ତା କି ମୂଲ୍ୟବାନ ବସ୍ତ୍ରରେ ଆପଣା ଆପଣାକୁ ଭୂଷିତା ନ କରି ଲଜ୍ଜା ଓ ଉତ୍ତମ ବୁଦ୍ଧିର ସହକାରେ ପରିପାଟୀ ପରିଚ୍ଛଦ ପିନ୍ଧି 10ଧର୍ମପରାୟଣା ସ୍ତ୍ରୀମାନଙ୍କ ଉପଯୋଗୀ ଉତ୍ତମ କର୍ମରୂପ ଭୂଷଣରେ ଆପଣା ଆପଣାକୁ ଭୂଷିତା କରନ୍ତୁ। 11ସ୍ତ୍ରୀ ପୂର୍ଣ୍ଣ ବଶ୍ୟତା ସ୍ୱୀକାର କରି ନୀରବରେ ଶିକ୍ଷା ଗ୍ରହଣ କରୁ। 12ମୁଁ ସ୍ତ୍ରୀକୁ ଶିକ୍ଷା ଦେବା ପାଇଁ ଅବା ପୁରୁଷ ଉପରେ କର୍ତ୍ତାପଣ କରିବା ପାଇଁ ଅନୁମତି ଦେଉ ନାହିଁ, ମାତ୍ର ସେ ନୀରବରେ ରହୁ। 13କାରଣ ପ୍ରଥମେ ଆଦମ ସୃଷ୍ଟ ହେଲେ, ତାହା ପରେ ହବା; 14ଆଉ ଆଦମ ପ୍ରବଞ୍ଚିତ ହୋଇ ନ ଥିଲେ, ମାତ୍ର ନାରୀ ପ୍ରବଞ୍ଚିତା ହୋଇ ଆଜ୍ଞାଲଙ୍ଘନ ଦୋଷରେ ଦୋଷୀ ହେଲେ; 15କିନ୍ତୁ ସେମାନେ ଉତ୍ତମ ବୁଦ୍ଧିର ସହ ବିଶ୍ୱାସ, ପ୍ରେମ ଓ ପବିତ୍ରତାରେ ସ୍ଥିର ରହିଲେ ସେ ସନ୍ତାନ ପ୍ରସବ କରିବା ଦ୍ୱାରା ପରିତ୍ରାଣ ପାଇବେ।

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]