Skip to content
The Believer's Library

Indian Revised Version(IRV) Odia - 2021

Ecclesiastes 1 IRVOry

Side by side with the Father's Heart Bible™

ସମସ୍ତ ଅସାର

1ଦାଉଦଙ୍କର ପୁତ୍ର, ଯିରୂଶାଲମସ୍ଥ ରାଜା, ଉପଦେଶକଙ୍କର ବାକ୍ୟମାଳା।

2ଉପଦେଶକ କହୁଅଛନ୍ତି,“ଅସାରର ଅସାର, ଅସାରର ଅସାର, ସକଳ ହିଁ ଅସାର।”

3ମନୁଷ୍ୟ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହୁଏ,ତାହାର ସେହିସବୁରୁ କି ଲାଭ?

4ଏକ ପିଢ଼ି ଯାଏ ଓ ଅନ୍ୟ ପିଢ଼ି ଆସେ;କିନ୍ତୁ ପୃଥିବୀ ସଦାକାଳ ଥାଏ।

5ମଧ୍ୟ ସୂର୍ଯ୍ୟ ଉଦିତ ହୁଏ ଓ ସୂର୍ଯ୍ୟ ଅସ୍ତ ହୁଏ,ପୁଣି ଆପଣା ଉଦୟ ସ୍ଥାନକୁ ଯିବା ପାଇଁ ସତ୍ୱର ହୁଏ।

6ବାୟୁ ଦକ୍ଷିଣ ଦିଗକୁ ଯାଏ ଓ ଉତ୍ତର ଦିଗକୁ ଫେରେ;ଆପଣା ପଥରେ ସର୍ବଦା ଘୂରେଓ ବାୟୁ ଆପଣା ଚକ୍ରକୁ ପୁନର୍ବାର ଫେରେ।

7ନଦୀସବୁ ସମୁଦ୍ରକୁ ବହିଯାଆନ୍ତି,ତଥାପି ସମୁଦ୍ର ପୂର୍ଣ୍ଣ ହୁଏ ନାହିଁ;ନଦୀସବୁ ଆପଣା ଆପଣା ଗମନ ସ୍ଥାନକୁ ପୁନର୍ବାର ଗମନ କରନ୍ତି।

8ସମଗ୍ର ବିଷୟ କ୍ଳାନ୍ତିପୂର୍ଣ୍ଣ; ମନୁଷ୍ୟ ତାହା ବର୍ଣ୍ଣନା କରିପାରେ ନାହିଁ;ଚକ୍ଷୁ ଦର୍ଶନରେ ତୃପ୍ତ ନୁହେଁ, କିଅବା କର୍ଣ୍ଣ ଶ୍ରବଣରେ ତୃପ୍ତ ନୁହେଁ।

9ଯାହା ହୋଇଅଛି, ତାହା ହିଁ ହେବଓ ଯାହା କରାଯାଇଅଛି, ତାହା ହିଁ କରାଯିବ;ପୁଣି, ସୂର୍ଯ୍ୟ ତଳେ କୌଣସି ନୂତନ ବିଷୟ ନାହିଁ।

10ଯାହା ବିଷୟରେ ମନୁଷ୍ୟମାନେ କହନ୍ତି,ଦେଖ, ଏହା ନୂତନ, ଏହାପରି କି କୌଣସି ବିଷୟ ଅଛି?ତାହା ତ ଏଥିପୂର୍ବେ ଆମ୍ଭମାନଙ୍କ ପୂର୍ବକାଳୀନ ସମୟରେ ଥିଲା।

11ପୂର୍ବକାଳୀନ ଲୋକମାନଙ୍କ ବିଷୟରେ କିଛି ସ୍ମରଣ ନ ଥାଏ;କିଅବା ଭବିଷ୍ୟତରେ ଯେଉଁମାନେ ଉତ୍ପନ୍ନ ହେବେ,ସେମାନଙ୍କ ସ୍ମରଣ ହିଁ ଉତ୍ତରକାଳୀନ ଭବିଷ୍ୟତ ଲୋକମାନଙ୍କ ମଧ୍ୟରେ ନ ଥିବ।

ଜ୍ଞାନର ଅସାରତା

12ମୁଁ ଉପଦେଶକ, ଯିରୂଶାଲମରେ ଇସ୍ରାଏଲ ଉପରେ ରାଜା ଥିଲି। 13ପୁଣି, ଆକାଶ ତଳେ କୃତ ସମସ୍ତ ବିଷୟ ଜ୍ଞାନ ଦ୍ୱାରା ଆଲୋଚନା ଓ ଅନୁସନ୍ଧାନ କରିବା ପାଇଁ ମନୋଯୋଗ କଲି; ଏତଦ୍ଦ୍ୱାରା ପରମେଶ୍ୱର ଯେ ମନୁଷ୍ୟ-ସନ୍ତାନଗଣକୁ ବ୍ୟସ୍ତ ହେବାକୁ ଦେଇଅଛନ୍ତି, ଏହା ଅତ୍ୟନ୍ତ କ୍ଲେଶଜନକ। 14ସୂର୍ଯ୍ୟ ତଳେ କୃତ ସମସ୍ତ କାର୍ଯ୍ୟ ମୁଁ ନିରୀକ୍ଷଣ କରିଅଛି; ଆଉ ଦେଖ, ସବୁ ଅସାର, ବାୟୁର ପଶ୍ଚାଦ୍ଧାବନମାତ୍ର।

15ଯାହା ବଙ୍କା, ତାହା ସଳଖ କରାଯାଇ ନ ପାରେ ପୁଣି,ଯାହା ଅଭାବ, ତାହା ଗଣିତ ହୋଇ ନ ପାରେ।

16ମୁଁ ଆପଣା ହୃଦୟରେ ଭାବି କହିଲି, “ଦେଖ, ଯିରୂଶାଲମରେ ମୋʼ ପୂର୍ବେ ଥିବା ସମସ୍ତ ଲୋକଙ୍କ ଅପେକ୍ଷା ମୁଁ ବହୁତ ଜ୍ଞାନପ୍ରାପ୍ତ ହୋଇଅଛି; ଆହୁରି, ମୋହର ହୃଦୟ ଜ୍ଞାନ ଓ ବିଦ୍ୟାରେ ମହା ଅନୁଭବୀ ହୋଇଅଛି।” 17ତହୁଁ ମୁଁ ଜ୍ଞାନର ତତ୍ତ୍ୱ, ପୁଣି ପାଗଳାମି ଓ ଅଜ୍ଞାନତାର ତତ୍ତ୍ୱ ଜାଣିବା ପାଇଁ ମନୋଯୋଗ କଲି; ଏହା ହିଁ ବାୟୁର ପଶ୍ଚାଦ୍ଧାବନ ବୋଲି ଜାଣିଲି।

18କାରଣ ବହୁତ ଜ୍ଞାନରେ ବହୁତ କ୍ଲେଶ ଥାଏ;ପୁଣି, ଯେ ବିଦ୍ୟା ବୃଦ୍ଧି କରେ, ସେ ଦୁଃଖ ବୃଦ୍ଧି କରେ।

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]