Skip to content
The Believer's Library

Indian Revised Version(IRV) Odia - 2021

Ecclesiastes 6 IRVOry

Side by side with the Father's Heart Bible™

1ସୂର୍ଯ୍ୟ ତଳେ ମୁଁ ଏକ ଦୁଃଖର ବିଷୟ ଦେଖିଅଛି, ଆଉ ତାହା ମନୁଷ୍ୟମାନଙ୍କ ପକ୍ଷରେ ଭାରୀ; 2ପରମେଶ୍ୱର କାହାକୁ କାହାକୁ ଏତେ ଧନ, ସମ୍ପତ୍ତି ଓ ସମ୍ଭ୍ରମ ଦିଅନ୍ତି ଯେ, ତାହାର ମନୋବାଞ୍ଛା ପୂର୍ଣ୍ଣ କରିବାକୁ କୌଣସି ବିଷୟର ଅଭାବ ନ ଥାଏ, ତଥାପି ତାହା ଭୋଗ କରିବା ପାଇଁ ପରମେଶ୍ୱର ତାହାକୁ କ୍ଷମତା ଦିଅନ୍ତି ନାହିଁ, ମାତ୍ର ଅନ୍ୟ ଲୋକ ତାହା ଭୋଗ କରେ; ଏହା ଅସାର ଓ ମନ୍ଦ ବ୍ୟାଧି ସ୍ୱରୂପ। 3ଯଦି କୌଣସି ମନୁଷ୍ୟ ଶହେ ସନ୍ତାନ ଜାତ କରି ଅନେକ ବର୍ଷ ବଞ୍ଚି ଦୀର୍ଘଜୀବୀ ହୁଏ, ମାତ୍ର ତାହାର ପ୍ରାଣ ଯଦି ସୁଖରେ ତୃପ୍ତ ନ ହୁଏ, ଆହୁରି ଯଦି ତାହାକୁ କବର ଦିଆ ନ ଯାଏ, ତେବେ ମୁଁ କହେ, ସେହି ଲୋକ ଅପେକ୍ଷା ଜନ୍ମ ହେବା ସମୟରେ ମୃତ୍ୟୁବରଣ କରିଥିବା ଶିଶୁଟି ଉତ୍ତମ ଅଟେ; 4କାରଣ ଏହି ମୃତ ଜାତ ଶିଶୁ ବାଷ୍ପ ତୁଲ୍ୟ ଆସେ ଓ ଅନ୍ଧକାରରେ ଯାଏ, ଆଉ ତାହାର ନାମ ଅନ୍ଧକାରରେ ଆଚ୍ଛନ୍ନ ହୁଏ; 5ଆହୁରି, ଏହି ଶିଶୁ ସୂର୍ଯ୍ୟ ଦେଖି ନାହିଁ କି ଜାଣି ନାହିଁ; ତଥାପି ଏହି ମୃତ ଜାତ ଶିଶୁ ସେ ଲୋକ ଅପେକ୍ଷା ଅଧିକ ବିଶ୍ରାମ ପାଏ; 6ପୁଣି, ସେ ମନୁଷ୍ୟ କୌଣସି ମଙ୍ଗଳ ଭୋଗ ନ କରି ଦୁଇଗୁଣ ସହସ୍ର ବର୍ଷ ବଞ୍ଚିଲେ ହେଁ ସମସ୍ତେ କି ଏକ ସ୍ଥାନକୁ ନ ଯାʼନ୍ତି?

7ମନୁଷ୍ୟର ସମସ୍ତ ପରିଶ୍ରମ ତାହାର ମୁଖ ନିମନ୍ତେ, ତଥାପି ଭୋଜନର ଆକାଂକ୍ଷା ପୂର୍ଣ୍ଣ ହୁଏ ନାହିଁ। 8ଏଣୁ ମୂର୍ଖ ଅପେକ୍ଷା ଜ୍ଞାନୀର କି ଲାଭ? ଆଉ, ଜୀବିତମାନଙ୍କ ସାକ୍ଷାତରେ ଚଳିବାକୁ ଜାଣେ ଯେଉଁ ଦରିଦ୍ର ଲୋକ, ତାହାର ଅବା କି ଲାଭ? 9ମନର ଲାଳସା ଅପେକ୍ଷା ସାକ୍ଷାତ ଭୋଗ ଭଲ; ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।

10ଯାହା ହୋଇଅଛି, ଅନେକ କାଳ ହେଲା ତହିଁର ନାମ ଦିଆଯାଇଥିଲା, ଆଉ ସେ ମର୍ତ୍ତ୍ୟ ବୋଲି ଜଣା; ପୁଣି, ସେ ଆପଣା ଅପେକ୍ଷା ପରାକ୍ରାନ୍ତ ସଙ୍ଗେ ବିରୋଧ କରି ନ ପାରେ। 11ଅସାରତାବର୍ଦ୍ଧକ ଅନେକ କଥା ଅଛି, ତହିଁରେ ମନୁଷ୍ୟର କି ଲାଭ? 12କାରଣ ମନୁଷ୍ୟ ଛାୟା ତୁଲ୍ୟ ଆପଣାର ଯେଉଁ ଅସାର ଜୀବନର ଦିନସବୁ କ୍ଷେପଣ କରେ, ସେହି ଜୀବନ କାଳରେ ତାହାର ମଙ୍ଗଳ କଅଣ, ଏହା କିଏ ଜାଣେ? ଆଉ, ମନୁଷ୍ୟର ମରଣାନ୍ତେ ସୂର୍ଯ୍ୟ ତଳେ ଯାହା ଘଟିବ, ଏହା କିଏ ତାହାକୁ ଜଣାଇ ପାରେ?

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]