Skip to content
The Believer's Library

Indian Revised Version(IRV) Odia - 2021

Genesis 3 IRVOry

Side by side with the Father's Heart Bible™

ମନୁଷ୍ୟର ଆଜ୍ଞା ଲଂଘନ

1ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ‘ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି?’” 2ନାରୀ ସର୍ପକୁ କହିଲେ, “ଆମ୍ଭେମାନେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ଖାଇପାରୁ; 3କେବଳ ଉଦ୍ୟାନର ମଧ୍ୟସ୍ଥିତ ବୃକ୍ଷର ଫଳ ବିଷୟରେ ପରମେଶ୍ୱର କହିଅଛନ୍ତି, ‘ତୁମ୍ଭେମାନେ ତାହା ଖାଇବ ନାହିଁ ଓ ଛୁଇଁବ ନାହିଁ, ତାହା କଲେ ମରିବ।’”

4ସର୍ପ ନାରୀଙ୍କୁ କହିଲା, “ତୁମ୍ଭେମାନେ କୌଣସି ରୂପେ ମରିବ ନାହିଁ; 5ବରଞ୍ଚ ପରମେଶ୍ୱର ଜାଣନ୍ତି, ତୁମ୍ଭେମାନେ ଯେଉଁ ଦିନ ତାହା ଖାଇବ, ସେହି ଦିନ ତୁମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ ହେବ, ତହିଁରେ ତୁମ୍ଭେମାନେ ପରମେଶ୍ୱରଙ୍କ ପରି ଭଲ ଓ ମନ୍ଦର ଜ୍ଞାନ ପାଇବ।” 6ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ।

7ତହିଁରେ ସେମାନଙ୍କ ଚକ୍ଷୁ ପ୍ରସନ୍ନ ହୁଅନ୍ତେ, ସେମାନେ ନିଜ ଉଲଙ୍ଗତାର ବୋଧ ପାଇ ଡିମ୍ବିରି ବୃକ୍ଷର ପତ୍ର ସିଁଇ ଘାଗରା ବନାଇଲେ। 8ତହୁଁ ଦିନାବସାନ ସମୟରେ ଉଦ୍ୟାନ ମଧ୍ୟରେ ଗମନାଗମନକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ରବ ଶୁଣି ଆଦମ ଓ ତାଙ୍କର ଭାର୍ଯ୍ୟା ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରୁ ଉଦ୍ୟାନସ୍ଥ ବୃକ୍ଷଗଣ ମଧ୍ୟରେ ଲୁଚିଲେ।

9ତହିଁରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଡାକି କହିଲେ, “ତୁମ୍ଭେ କେଉଁଠାରେ?” 10ସେ ଉତ୍ତର କଲେ, “ମୁଁ ଉଦ୍ୟାନ ମଧ୍ୟରେ ତୁମ୍ଭ ରବ ଶୁଣି ଆପଣା ଉଲଙ୍ଗତା ସକାଶେ ଭୀତ ହୋଇ ଲୁଚିଲି।” 11ପରମେଶ୍ୱର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ?”

12ଆଦମ କହିଲେ, “ତୁମ୍ଭେ ଯେଉଁ ସ୍ତ୍ରୀଙ୍କୁ ମୋହର ସଙ୍ଗିନୀ ହେବାକୁ ଦେଇଅଛ, ସେ ମୋତେ ସେହି ବୃକ୍ଷର ଫଳ ଦେଲେ, ତହିଁରେ ମୁଁ ଖାଇଲି।” 13ସେତେବେଳେ ସଦାପ୍ରଭୁ ପରମେଶ୍ୱର ନାରୀଙ୍କୁ କହିଲେ, “ଏ କି କଲ?” ନାରୀ କହିଲେ, “ସର୍ପ ମୋତେ ଭୁଲାଇଲା, ତହିଁରେ ମୁଁ ଖାଇଲି।”

ସଦାପ୍ରଭୁଙ୍କ ଦଣ୍ଡାଜ୍ଞା

14ତହୁଁ ସଦାପ୍ରଭୁ ପରମେଶ୍ୱର ସର୍ପକୁ କହିଲେ, “ଏହି କାର୍ଯ୍ୟ କରିବା ହେତୁ ତୁମ୍ଭେ ସମସ୍ତ ଗ୍ରାମ୍ୟ ଓ ବନ୍ୟପଶୁଠାରୁ ଅଧିକ ଶାପଗ୍ରସ୍ତ ହେଲ, ତୁମ୍ଭେ ଆପଣା ପେଟ ଦେଇ ଗମନ କରିବ ଓ ଯାବଜ୍ଜୀବନ ଧୂଳି ଖାଇବ। 15ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”

16ତହୁଁ ସେ ନାରୀଙ୍କୁ କହିଲେ, “ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢ଼ାଇବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି, ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବ।”

17ଆଉ ସେ ଆଦମଙ୍କୁ କହିଲେ, “ଯେଉଁ ବୃକ୍ଷର ଫଳ ଖାଇବା ବିଷୟରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଭେ ଆପଣା ଭାର୍ଯ୍ୟାର କଥା ଶୁଣି ତାହା ଖାଇଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ ପାଇବ। 18ତହିଁରେ କଣ୍ଟା ଓ ଗୋଖରା ଗଛ ଜାତ ହେବ, ପୁଣି, ତୁମ୍ଭେ କ୍ଷେତ୍ରର ଶାକ ଭୋଜନ କରିବ। 19ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।”

20ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟାର ନାମ ହବା ଦେଲେ, ଯେହେତୁ ସେ ଜୀବିତ ଲୋକମାନଙ୍କର ମାତା ହେଲେ। 21ଆଉ ସଦାପ୍ରଭୁ ପରମେଶ୍ୱର ଚର୍ମର ବସ୍ତ୍ର ପ୍ରସ୍ତୁତ କରି ଆଦମ ଓ ତାଙ୍କର ଭାର୍ଯ୍ୟାଙ୍କୁ ପିନ୍ଧାଇଲେ।

ଆଦମ ଓ ହବା ଉଦ୍ୟାନରୁ ବିତାଡ଼ିତ

22ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି, ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ,” 23ଏଥିପାଇଁ ସଦାପ୍ରଭୁ ପରମେଶ୍ୱର ଏଦନ ଉଦ୍ୟାନରୁ ତାଙ୍କୁ ବାହାର କରିଦେଲେ ଓ ସେ ଯେଉଁ ମୃତ୍ତିକାରୁ ନୀତ ହୋଇଥିଲେ, ତହିଁରେ କୃଷିକର୍ମ କରିବାକୁ ତାଙ୍କୁ ନିଯୁକ୍ତ କଲେ। 24ଏହିରୂପେ ସେ ଆଦମଙ୍କୁ ତଡ଼ିଦେଲେ; ପୁଣି, ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବ ଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ଥାପନ କଲେ।

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]