Skip to content
The Believer's Library

Indian Revised Version(IRV) Odia - 2021

James 3 IRVOry

Side by side with the Father's Heart Bible™

ବଶୀଭୂତ ଜିହ୍ୱା

1ହେ ମୋହର ଭାଇମାନେ, ତୁମ୍ଭେମାନେ ଅନେକେ ଶିକ୍ଷକ ହୁଅ ନାହିଁ; ଏହା ଜାଣ ଯେ, ଆମ୍ଭେମାନେ ଯିଏ ଶିକ୍ଷା ଦେଉ, ଗୁରୁତର ଦଣ୍ଡ ପାଇବା। 2ଯେଣୁ ଆମ୍ଭେମାନେ ସମସ୍ତେ ଅନେକ ବିଷୟରେ ଝୁଣ୍ଟିପଡ଼ୁ। ଯଦି କେହି ବାକ୍ୟରେ ଝୁଣ୍ଟି ନ ପଡ଼େ, ତେବେ ସେ ସିଦ୍ଧ ପୁରୁଷ, ସମସ୍ତ ଶରୀରକୁ ମଧ୍ୟ ବଶରେ ରଖିବାକୁ ସମର୍ଥ। 3ଦେଖ, ଆମ୍ଭେମାନେ ଅଶ୍ୱମାନଙ୍କୁ ବଶୀଭୂତ କରିବା ନିମନ୍ତେ ସେମାନଙ୍କ ମୁଖରେ ଲଗାମ ଦେଲେ, ତଦ୍ୱାରା ସେମାନଙ୍କ ସମସ୍ତ ଶରୀର ମଧ୍ୟ ବୁଲାଉଥାଉ। 4ଏବଂ ଜାହାଜ ମଧ୍ୟ ଏତେ ବଡ଼ ହୋଇ ପ୍ରଚଣ୍ଡ ପବନରେ ଚାଳିତ ହେଲେ ହେଁ ଗୋଟିଏ ଅତି କ୍ଷୁଦ୍ର ମଙ୍ଗ ଦ୍ୱାରା ମଙ୍ଗଧରାର ଇଚ୍ଛାନୁସାରେ ବୁଲିଥାଏ। 5ସେହିପରି ଜିହ୍ୱା ମଧ୍ୟ ଗୋଟିଏ କ୍ଷୁଦ୍ର ଅଙ୍ଗ, କିନ୍ତୁ ମହାଗର୍ବର କଥା କହେ। ଦେଖ, କେଡ଼େ କ୍ଷୁଦ୍ର ଅଗ୍ନିକଣିକା ଦ୍ୱାରା କେଡ଼େ ବଡ଼ ଅରଣ୍ୟରେ ନିଆଁ ଲାଗିଯାଏ। 6ଜିହ୍ୱା ମଧ୍ୟ ଅଗ୍ନି ସ୍ୱରୂପ; ତାହା ଆମ୍ଭମାନଙ୍କ ଅଙ୍ଗସମୂହ ମଧ୍ୟରେ ସମସ୍ତ ଅଧର୍ମର ମୂଳାଧାର ସ୍ୱରୂପେ ଅବସ୍ଥିତ; ତାହା ସମସ୍ତ ଶରୀରକୁ ଅଶୁଚି କରେ ଓ ନିଜେ ନର୍କରେ ପ୍ରଜ୍ୱଳିତ ହୋଇ ପ୍ରକୃତିର ଚକ୍ରକୁ ଜ୍ୱଳାଏ। 7କାରଣ ସମସ୍ତ ପ୍ରକାର ପଶୁ, ପକ୍ଷୀ, ସରୀସୃପ ଓ ଜଳଚର ପ୍ରାଣୀମାନଙ୍କୁ ମାନବ ଦ୍ୱାରା ବଶରେ ରଖାଯାଇପାରେ, ପୁଣି, ବଶରେ ରଖାଯାଇଅଛି; 8କିନ୍ତୁ ଜିହ୍ୱାକୁ କେହି ବଶରେ ରଖି ପାରେ ନାହିଁ, ଅନିଷ୍ଟ ସାଧନରେ ତାହାର ବିରାମ ନାହିଁ, ମାରାତ୍ମକ ଗରଳରେ ତାହା ପରିପୂର୍ଣ୍ଣ। 9ତଦ୍ୱାରା ଆମ୍ଭେମାନେ ପ୍ରଭୁ ଓ ପିତାଙ୍କର ଧନ୍ୟବାଦ କରିଥାଉ, ପୁଣି, ତଦ୍ୱାରା ଈଶ୍ବରଙ୍କ ସାଦୃଶ୍ୟରେ ସୃଷ୍ଟ ମନୁଷ୍ୟକୁ ଅଭିଶାପ ଦେଇଥାଉ; 10ଏକ ମୁଖରୁ ଧନ୍ୟବାଦ ଓ ଅଭିଶାପ ନିର୍ଗତ ହୁଏ। ହେ ମୋହର ଭାଇମାନେ, ଏପରି ହେବା ଉଚିତ୍ ନୁହେଁ। 11ନିର୍ଝର କଅଣ ଏକ ବାଟ ଦେଇ ମିଠା ଓ ପିତା ଦୁଇ ପ୍ରକାର ଜଳ ବାହାର କରେ? 12ହେ ମୋହର ଭାଇମାନେ, ଡିମ୍ବିରିବୃକ୍ଷ କଅଣ ଜୀତଫଳ, ଅବା ଦ୍ରାକ୍ଷାଲତା କଅଣ ଡିମ୍ବିରି ଫଳ ଫଳି ପାରେ? ଲବଣାକ୍ତ ନିର୍ଝର ମଧ୍ୟ ମିଷ୍ଟ ଜଳ ଦେଇ ପାରେ ନାହିଁ।

ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ

13ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି? ସେ ଜ୍ଞାନସଙ୍ଗତ ନମ୍ରତା ସହ ସଦାଚରଣ ଦ୍ୱାରା ଆପଣା କର୍ମ ପ୍ରକାଶ କରୁ। 14କିନ୍ତୁ ଯଦି ତୁମ୍ଭମାନଙ୍କ ହୃଦୟରେ ତିକ୍ତ ଈର୍ଷାଭାବ ଓ ସ୍ୱାର୍ଥପରତା ଥାଏ, ତାହାହେଲେ ସତ୍ୟ ବିରୁଦ୍ଧରେ ଗର୍ବ କର ନାହିଁ ଓ ମିଥ୍ୟା କୁହ ନାହିଁ। 15ଏପରି ଜ୍ଞାନ ଊର୍ଦ୍ଧ୍ୱରୁ ଆଗତ ନୁହେଁ, ମାତ୍ର ତାହା ପାର୍ଥିବ, ଅନାତ୍ମିକ ଓ ଶୟତାନଠାରୁ ଅଟେ; 16କାରଣ ଯେଉଁ ସ୍ଥାନରେ ଈର୍ଷା ଓ ସ୍ୱାର୍ଥପରତା ଥାଏ, ସେହି ସ୍ଥାନରେ ସମସ୍ତ ପ୍ରକାର ଦୁଷ୍କର୍ମ ଥାଏ। 17କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ। 18ପୁଣି, ଶାନ୍ତିକାରକ ଲୋକମାନେ ଶାନ୍ତିର ବୀଜ ବୁଣନ୍ତି, ସେମାନେ ଧାର୍ମିକତା ରୂପ ଫଳ କାଟିବେ।

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]