Skip to content
The Believer's Library

Indian Revised Version(IRV) Odia - 2021

James 4 IRVOry

Side by side with the Father's Heart Bible™

ଜାଗତିକମନା ବିଷୟରେ ସତର୍କତା

1ବିଶ୍ୱାସୀମାନଙ୍କ ମଧ୍ୟରେ ଯୁଦ୍ଧ ଓ ବିବାଦ କେଉଁଠାରୁ ହୁଏ? କଅଣ ତୁମ୍ଭମାନଙ୍କ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟରେ ଯୁଦ୍ଧ କରୁଥିବା ସୁଖାଭିଳାଷରୁ ନୁହେଁ? 2ତୁମ୍ଭେମାନେ କାମନା କରିଥାଅ; କିନ୍ତୁ ପାଇ ନ ଥାଅ; ତୁମ୍ଭେମାନେ ବଧ ଓ ଈର୍ଷା କରିଥାଅ, କିନ୍ତୁ ପ୍ରାପ୍ତ ହେବାକୁ ଅକ୍ଷମ ହୋଇଥାଅ; ତୁମ୍ଭେମାନେ ବିବାଦ ଓ ଯୁଦ୍ଧ କରିଥାଅ, ତୁମ୍ଭେମାନେ ପାଇ ନ ଥାଅ, କାରଣ ତୁମ୍ଭେମାନେ ମାଗି ନ ଥାଅ; 3ତୁମ୍ଭେମାନେ ମାଗିଥାଅ, କିନ୍ତୁ ପାଇ ନ ଥାଅ, କାରଣ ଆପଣା ଆପଣା ସୁଖାଭିଳାଷରେ ବ୍ୟୟ କରିବା ନିମନ୍ତେ ମନ୍ଦ ଅଭିପ୍ରାୟରେ ମାଗିଥାଅ। 4ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ବରଙ୍କର ଶତ୍ରୁତା, ଏହା କଅଣ ଜାଣ ନାହିଁ? ଅତଏବ, ଯେ କେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ ସେ ଆପଣାକୁ ଈଶ୍ବରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ। 5ନା ତୁମ୍ଭେମାନେ କଅଣ ଧର୍ମଶାସ୍ତ୍ରର ଏହି ବାକ୍ୟକୁ ବ୍ୟର୍ଥ ବୋଲି ମନେ କରୁଅଛ; ଯେଉଁ ପବିତ୍ର ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ମଧ୍ୟରେ ବାସ କରିବାକୁ ଦେଇଅଛନ୍ତି, ସେ ଆମ୍ଭମାନଙ୍କୁ ସମ୍ପୂର୍ଣ୍ଣ ଅଧିକାର କରିବା ନିମନ୍ତେ ଏକାନ୍ତ କାମନା କରନ୍ତି? 6କିନ୍ତୁ ସେ ମଧ୍ୟ ଅଧିକ ଅନୁଗ୍ରହ ଦାନ କରନ୍ତି; ଏଣୁ ଶାସ୍ତ୍ର‌ରେ ଉକ୍ତ ଅଛି,“ଈଶ୍ବର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରନ୍ତି,କିନ୍ତୁ ନମ୍ର ଲୋକମାନଙ୍କୁ ଅନୁଗ୍ରହ ଦାନ କରନ୍ତି।”

7ଅତଏବ, ତୁମ୍ଭେମାନେ ଈଶ୍ବରଙ୍କର ବଶୀଭୂତ ହୁଅ; ଶୟତାନକୁ ପ୍ରତିବାଦ କର, ତାହାହେଲେ ସେ ତୁମ୍ଭମାନଙ୍କ ନିକଟରୁ ପଳାଇଯିବ। 8ଈଶ୍ବରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ। ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି, ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର। 9ଖେଦଯୁକ୍ତ ଓ ଶୋକାର୍ତ୍ତ ହୋଇ ରୋଦନ କର; ତୁମ୍ଭମାନଙ୍କ ହାସ୍ୟ ଶୋକରେ ଓ ତୁମ୍ଭମାନଙ୍କ ଆନନ୍ଦ ବିଷାଦରେ ପରିଣତ ହେଉ। 10ପ୍ରଭୁଙ୍କ ଛାମୁରେ ଆପଣା ଆପଣାକୁ ନତ କର, ତାହାହେଲେ ସେ ତୁମ୍ଭମାନଙ୍କୁ ଉନ୍ନତ କରିବେ।

ଭାଇ ବିରୁଦ୍ଧରେ ବିଚାର

11ହେ ଭାଇମାନେ, ତୁମ୍ଭେମାନେ ପରସ୍ପରର ଗ୍ଳାନି କର ନାହିଁ; ଯେ ଭାଇର ଗ୍ଳାନି କରେ କିମ୍ବା ଭାଇର ବିଚାର କରେ, ସେ ବ୍ୟବସ୍ଥାର ଗ୍ଲାନି କରେ ଓ ସେଥିର ବିଚାର କରେ; କିନ୍ତୁ ତୁମ୍ଭେ ଯଦି ବ୍ୟବସ୍ଥାର ବିଚାର କର, ତାହାହେଲେ ତୁମ୍ଭେ ବ୍ୟବସ୍ଥାର ପାଳନକାରୀ ନ ହୋଇ ସେଥିର ବିଚାରକର୍ତ୍ତା ଅଟ। 12ବ୍ୟବସ୍ଥାଦାତା ଓ ବିଚାରକର୍ତ୍ତା ଜଣେ ମାତ୍ର, ସେ ରକ୍ଷା ଓ ବିନାଶ କରିବାକୁ ସମର୍ଥ; କିନ୍ତୁ ପ୍ରତିବାସୀର ବିଚାର କରୁଅଛ ଯେ ତୁମ୍ଭେ, ତୁମ୍ଭେ କିଏ?

ଭବିଷ୍ୟତର ଗର୍ବ

13ଏବେ ଦେଖ, ଯେଉଁମାନେ କହୁଅଛ, ଆଜି କିମ୍ବା କାଲି ଆମ୍ଭେମାନେ ଅମୁକ ସହରକୁ ଯିବୁ ଓ ସେଠାରେ ଏକ ବର୍ଷ ପର୍ଯ୍ୟନ୍ତ ରହି ବାଣିଜ୍ୟ ବ୍ୟବସାୟ କରି ଲାଭ କରିବୁ; 14କିନ୍ତୁ କାଲି କଅଣ ଘଟିବ, ତାହା ତ ତୁମ୍ଭେମାନେ ଜାଣ ନାହିଁ। ତୁମ୍ଭମାନଙ୍କର ଜୀବନ କଅଣ? କ୍ଷଣକେ ଦୃଶ୍ୟ ହୋଇ ଅଦୃଶ୍ୟ ହୁଏ ଯେଉଁ ବାଷ୍ପ, ତୁମ୍ଭେମାନେ ତ ତାହା ସଦୃଶ। 15ଏଣୁ ପ୍ରଭୁଙ୍କ ଇଚ୍ଛା ହେଲେ ଆମ୍ଭେମାନେ ଜୀବିତ ଥାଇ ଏହା କରିବା ବା ତାହା କରିବା, ଏହିପରି କହିବା ତୁମ୍ଭମାନଙ୍କର ଉଚିତ। 16କିନ୍ତୁ ଏବେ ତୁମ୍ଭେମାନେ ଆପଣା ଆପଣା ଅହଂ ଭାବରେ ଗର୍ବ କରୁଅଛ; ଏପ୍ରକାର ଗର୍ବ ମନ୍ଦ ଅଟେ। 17ଅତଏବ, ଯେ ସତ୍କର୍ମ କରିବାକୁ ଜାଣି ତାହା କରେ ନାହିଁ, ତାହାର ପାପ ହୁଏ।

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]