Skip to content
The Believer's Library

Indian Revised Version(IRV) Odia - 2021

Psalms 144 IRVOry

Side by side with the Father's Heart Bible™

ଦାଉଦଙ୍କର ଗୀତ।

ରାଜାଙ୍କ ବିଜୟୋଲ୍ଲାସ ସ୍ତୁତି

1ମୋହର ଶୈଳ ସ୍ୱରୂପ ସଦାପ୍ରଭୁ ଧନ୍ୟ ହେଉନ୍ତୁ,ସେ ମୋʼ ହସ୍ତକୁ ଯୁଦ୍ଧ ଶିଖାନ୍ତିଓ ମୋʼ ଅଙ୍ଗୁଳିକୁ ସଂଗ୍ରାମ ଶିଖାନ୍ତି।

2ସେ ମୋହର ସ୍ନେହପୂର୍ଣ୍ଣ କରୁଣା ଓ ମୋହର ଗଡ଼,ମୋହର ଉଚ୍ଚ ଦୁର୍ଗ ଓ ମୋହର ଉଦ୍ଧାରକର୍ତ୍ତା,ମୋହର ଢାଲ ଓ ସେ ମୋହର ଆଶ୍ରୟଭୂମି;ସେ ଗୋଷ୍ଠୀସମୂହକୁ ମୋʼ ପଦ ତଳେ ବଶୀଭୂତ କରନ୍ତି।

3ହେ ସଦାପ୍ରଭୋ, ମନୁଷ୍ୟ କିଏ ଯେ, ତୁମ୍ଭେ ତାହାର ପରିଚୟ ନିଅ?ସେ ଅବା କିଏ ଯେ, ତୁମ୍ଭେ ତାହାକୁ ଗଣ୍ୟ କର?

4ମନୁଷ୍ୟ ଅସାର ବସ୍ତୁ ତୁଲ୍ୟ;ତାହାର ଦିନସବୁ ବହିଯିବା ଛାୟା ତୁଲ୍ୟ।

5ହେ ସଦାପ୍ରଭୋ, ଆପଣା ଗଗନମଣ୍ଡଳ ନୁଆଁଇ ତଳକୁ ଆସ;ପର୍ବତଗଣକୁ ସ୍ପର୍ଶ କର, ତହିଁରେ ସେମାନେ ଧୂମ ନିର୍ଗତ କରିବେ।

6ବିଜୁଳି ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କର;ଆପଣା ତୀର ମାରି ସେମାନଙ୍କୁ ପରାସ୍ତ କର।

7ଊର୍ଦ୍ଧ୍ୱରୁ ଆପଣା ହସ୍ତ ବଢ଼ାଅ;ମୋତେ ରକ୍ଷା କର, ମହାଜଳରାଶିରୁ ମୋତେ ଉଦ୍ଧାର କର;ପୁଣି, ଯେଉଁମାନଙ୍କ ମୁଖ ଅସାର କଥା କହଇ

8ଓ ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ,ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର।

9ହେ ପରମେଶ୍ୱର, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କରିବି;ଦଶତାର-ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ମୁଁ ପ୍ରଶଂସା ଗାନ କରିବି।

10ସେ ରାଜାମାନଙ୍କୁ ପରିତ୍ରାଣ ପ୍ରଦାନ କରନ୍ତି;ସେ ଆପଣା ଦାସ ଦାଉଦଙ୍କୁ କ୍ଷତିକାରକ ଖଡ୍ଗରୁ ରକ୍ଷା କରନ୍ତି।

11ମୋତେ ରକ୍ଷା କର ଓ ଯେଉଁମାନଙ୍କର ମୁଖ ଅସାର କଥା କହଇ,ପୁଣି, ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ,ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର।

12ଯେତେବେଳେ ଆମ୍ଭମାନଙ୍କ ପୁତ୍ରଗଣ ଯୌବନାବସ୍ଥାରେ ବୃକ୍ଷର ଚାରା ତୁଲ୍ୟ ବର୍ଦ୍ଧନଶୀଳ ହେବେଓ ଆମ୍ଭମାନଙ୍କ କନ୍ୟାଗଣ ଅଟ୍ଟାଳିକାର ଗଠନାନୁସାରେ ଖୋଦିତ କୋଣ-ପ୍ରସ୍ତର ତୁଲ୍ୟ ହେବେ;

13ଆମ୍ଭମାନଙ୍କ ଭଣ୍ଡାରସବୁ ପରିପୂର୍ଣ୍ଣ; ସର୍ବପ୍ରକାର ଦ୍ରବ୍ୟବିଶିଷ୍ଟ ହେବ;ଆମ୍ଭମାନଙ୍କ ମେଷଗଣ ଆମ୍ଭମାନଙ୍କ କ୍ଷେତ୍ରରେ ସହସ୍ର ସହସ୍ର ଓ ଅୟୁତ ଅୟୁତ ଶାବକ ପ୍ରସବ କରିବେ;

14ଆମ୍ଭମାନଙ୍କ ବଳଦସବୁ ଉତ୍ତମ ରୂପେ ବୋଝାଇ ହେବେ;କୌଣସି ଭଗ୍ନଦଶା ଓ ବହିର୍ଗମନ ଘଟିବ ନାହିଁ, ପୁଣି,ଆମ୍ଭମାନଙ୍କ ଛକସ୍ଥାନରେ କୌଣସି କୋଳାହଳ ହେବ ନାହିଁ;

15ଏହିପରି ଅବସ୍ଥାପନ୍ନ ଗୋଷ୍ଠୀ ଧନ୍ୟ;ହଁ, ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ୱର, ସେ ଧନ୍ୟ!

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]