Skip to content
The Believer's Library

Indian Revised Version(IRV) Odia - 2021

Revelation 9 IRVOry

Side by side with the Father's Heart Bible™

1ତତ୍ପରେ ପଞ୍ଚମ ଦୂତ ତୂରୀଧ୍ୱନୀ କରନ୍ତେ ମୁଁ ଆକାଶରୁ ଗୋଟିଏ ନକ୍ଷତ୍ର ପୃଥିବୀରେ ପତିତ ହେବାର ଦେଖିଲି; ତାହାକୁ ପାତାଳକୁଣ୍ଡର ଚାବି ଦିଆଗଲା। 2ସେ ସେହି ପାତାଳକୁଣ୍ଡ ଫିଟାନ୍ତେ ସେଥିରୁ ବୃହତ୍ ଭାଟିର ଧୂମ ପରି ଧୂମ ଉଠିଲା, ଆଉ ସେହି ପାତାଳକୁଣ୍ଡର ଧୂମ ହେତୁ ସୂର୍ଯ୍ୟ ପୁଣି, ଆକାଶ ଅନ୍ଧକାରାଚ୍ଛନ୍ନ ହେଲା।

3ଧୂମ ମଧ୍ୟରୁ ପଙ୍ଗପାଳ ବାହାର ହୋଇ ପୃଥିବୀକୁ ଆସିଲେ, ସେମାନଙ୍କୁ ପୃଥିବୀର ବିଛାର ଶକ୍ତି ପରି ଶକ୍ତି ଦିଆଗଲା। 4ପୃଥିବୀର ଘାସ କି ସବୁଜ ରଙ୍ଗର ଶାକ କି କୌଣସି ବୃକ୍ଷର ଅନିଷ୍ଟ ନ କରି, ଯେଉଁମାନଙ୍କ କପାଳରେ ଈଶ୍ବରଙ୍କ ମୁଦ୍ରାଙ୍କ ନାହିଁ, କେବଳ ସେମାନଙ୍କ ଅନିଷ୍ଟ କରିବାକୁ ସେମାନଙ୍କୁ କୁହାଗଲା।

5ସେମାନଙ୍କୁ ବଧ ନ କରି ପାଞ୍ଚ ମାସ ପର୍ଯ୍ୟନ୍ତ ସେମାନଙ୍କର ଯନ୍ତ୍ରଣା ଘଟାଇବାକୁ ସେମାନଙ୍କୁ କ୍ଷମତା ଦିଆଗଲା; ବିଛା ମନୁଷ୍ୟକୁ ମାରିଲେ ଯେପରି ଯନ୍ତ୍ରଣା ହୁଏ, ଏହି ଯନ୍ତ୍ରଣା ସେହି ପ୍ରକାର। 6ସେହି ସମୟରେ ମନୁଷ୍ୟମାନେ ମୃତ୍ୟୁର ଅନ୍ୱେଷଣ କରିବେ, କିନ୍ତୁ କୌଣସି ପ୍ରକାରେ ପାଇବେ ନାହିଁ; ସେମାନେ ମରିବାକୁ ବାଞ୍ଛା କରିବେ, କିନ୍ତୁ ମୃତ୍ୟୁ ସେମାନଙ୍କଠାରୁ ପଳାୟନ କରିବ।

7ପଙ୍ଗପାଳମାନଙ୍କର ଆକୃତି ଯୁଦ୍ଧ ନିମନ୍ତେ ସଜ୍ଜିତ ଅଶ୍ୱମାନଙ୍କ ସଦୃଶ, ସେମାନଙ୍କ ମସ୍ତକର ଆବରଣ ସୁବର୍ଣ୍ଣ ମୁକୁଟ ତୁଲ୍ୟ, ପୁଣି, ସେମାନଙ୍କ ମୁଖ ମନୁଷ୍ୟମାନଙ୍କ ମୁଖ ସଦୃଶ; 8ସ୍ତ୍ରୀଲୋକମାନଙ୍କ କେଶ ସଦୃଶ ସେମାନଙ୍କ କେଶ, ସିଂହଦନ୍ତ ତୁଲ୍ୟ ସେମାନଙ୍କ ଦନ୍ତ; 9ଲୌହ ଊରସ୍ତ୍ରାଣ ପରି ସେମାନଙ୍କର ଊରସ୍ତ୍ରାଣ, ପୁଣି, ରଥ ଓ ରଣକ୍ଷେତ୍ରରେ ଦୌଡ଼ୁଥିବା ଅନେକ ଅଶ୍ୱଙ୍କ ଶବ୍ଦ ପରି ସେମାନଙ୍କ ପକ୍ଷର ଶବ୍ଦ।

10ବିଛାର ଲାଙ୍ଗୁଳ ଓ ନାହୁଡ଼ ପରି ସେମାନଙ୍କର ଲାଙ୍ଗୁଳ ଓ ନାହୁଡ଼; ପାଞ୍ଚ ମାସ ପର୍ଯ୍ୟନ୍ତ ମନୁଷ୍ୟମାନଙ୍କର କ୍ଷତି କରିବାକୁ ସେମାନଙ୍କ ଲାଙ୍ଗୁଳରେ ଶକ୍ତି ଥିଲା। 11ପାତାଳକୁଣ୍ଡର ଦୂତ ସେମାନଙ୍କର ରାଜା, ତାହାଙ୍କର ନାମ ଏବ୍ରୀ ଭାଷାରେ ଆବଦ୍ଦୋନ୍ ଓ ଗ୍ରୀକ୍‍ ଭାଷାରେ ଅପଲ୍ଲିୟୋନ୍।

12ପ୍ରଥମ ସନ୍ତାପ ଗତ ହେଲା, ଦେଖ, ଏହାପରେ ଆଉ ଦୁଇଟି ସନ୍ତାପ ଆସୁଅଛି।

13ଷଷ୍ଠ ଦୂତ ତୂରୀଧ୍ୱନୀ କରନ୍ତେ ମୁଁ ଈଶ୍ବରଙ୍କ ସମ୍ମୁଖସ୍ଥ ସୁବର୍ଣ୍ଣ ବେଦିର ଶୃଙ୍ଗମାନଙ୍କ ଚାରି କୋଣଗୁଡ଼ିକ ମଧ୍ୟରୁ ଗୋଟିଏ ସ୍ୱର ଶୁଣିଲି, 14ତାହା ତୂରୀ ଧରିଥିବା ସେହି ଷଷ୍ଠ ଦୂତଙ୍କୁ କହିଲା, ଫରାତ୍ ମହାନଦୀରେ ବନ୍ଦୀ ଥିବା ଚାରି ଦୂତଙ୍କୁ ମୁକ୍ତ କରିଦିଅ। 15ସେଥିରେ ମନୁଷ୍ୟମାନଙ୍କର ଏକ ତୃତୀୟାଂଶକୁ ବଧ କରିବା ନିମନ୍ତେ ଏହି ଯେଉଁ ଚାରି ଦୂତ ସେହି ଦଣ୍ଡ, ଦିନ, ମାସ ଓ ବର୍ଷ ପାଇଁ ପ୍ରସ୍ତୁତ କରା ହୋଇଥିଲେ, ସେମାନେ ମୁକ୍ତ କରାଗଲେ।

16ଅଶ୍ୱାରୋହୀ ସୈନ୍ୟମାନଙ୍କ ସଂଖ୍ୟା କୋଡ଼ିଏ କୋଟି; ମୁଁ ସେମାନଙ୍କ ସଂଖ୍ୟା ଶୁଣିଲି। 17ଆଉ ମୁଁ ଦର୍ଶନରେ ଅଶ୍ୱ ଓ ସେମାନଙ୍କ ଆରୋହୀମାନଙ୍କୁ ଏହି ପ୍ରକାର ଦେଖିଲି, ସେମାନଙ୍କ ଊରସ୍ତ୍ରାଣ ଅଗ୍ନିବର୍ଣ୍ଣ, ନୀଳବର୍ଣ୍ଣ ଓ ଗନ୍ଧକବର୍ଣ୍ଣ; ଅଶ୍ୱମାନଙ୍କ ମସ୍ତକ ସିଂହମାନଙ୍କ ମସ୍ତକ ସଦୃଶ, ଆଉ ସେମାନଙ୍କ ମୁଖରୁ ଅଗ୍ନି, ଧୂମ ଓ ଗନ୍ଧକ ନିର୍ଗତ ହେଉଥିଲା।

18ସେମାନଙ୍କ ମୁଖରୁ ନିର୍ଗତ ଅଗ୍ନି, ଧୂମ ଓ ଗନ୍ଧକରୂପ ଏହି ତିନି କ୍ଲେଶ ଦ୍ୱାରା ମନୁଷ୍ୟମାନଙ୍କର ଏକ ତୃତୀୟାଂଶ ବଧ କରାଗଲେ। 19କାରଣ ଅଶ୍ୱମାନଙ୍କ ଶକ୍ତି ସେମାନଙ୍କ ମୁଖ ଓ ଲାଙ୍ଗୁଳରେ ଥିଲା, ଯେଣୁ ସେମାନଙ୍କ ଲାଙ୍ଗୁଳ ସର୍ପ ସଦୃଶ ଓ ମସ୍ତକବିଶିଷ୍ଟ; ତଦ୍ୱାରା ସେମାନେ କ୍ଷତି କରନ୍ତି।

20ଯେଉଁ ଅବଶିଷ୍ଟ ମନୁଷ୍ୟମାନେ ଏହି ସମସ୍ତ କ୍ଲେଶ ଦ୍ୱାରା ବଧ କରାଯାଇ ନ ଥିଲେ, ସେମାନେ ଆପଣା ଆପଣା ହସ୍ତକୃତ କର୍ମରୁ ମନ-ପରିବର୍ତ୍ତନ କଲେ ନାହିଁ, ଅର୍ଥାତ୍‍ ଭୂତମାନଙ୍କ ପୂଜା, ପୁଣି, ଦର୍ଶନ, ଶ୍ରବଣ ଓ ଗମନ କରିବାକୁ ଅସମର୍ଥ ସୁବର୍ଣ୍ଣ, ରୌପ୍ୟ, ପିତ୍ତଳ, ପ୍ରସ୍ତର ଓ କାଠରେ ତିଆରି ପ୍ରତିମାର ପୂଜା ପରିତ୍ୟାଗ କଲେ ନାହିଁ, 21ଆଉ ସେମାନେ ଆପଣାମାନଙ୍କର ନରହତ୍ୟା, କୁହୁକ, ବ୍ୟଭିଚାର ଓ ଚୌର୍ଯ୍ୟକର୍ମରୁ ମନ-ପରିବର୍ତ୍ତନ କଲେ ନାହିଁ।

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]